ଓଡ଼ିଶାଲାଇଭ୍ ବ୍ୟୁରୋ

ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଉପତ୍ୟକାରେ ଥିବା ଏହି ଲଘୁଚାପଟି ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଶନିବାର ପ୍ରବଳ ବର୍ଷା ପାଇଁ ରାଜ୍ୟର ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଶନିବାର ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝର ସାମିଲ ରହିଛି। ଏହି ସବୁ ଜିଲ୍ଲାର କିଛି କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଲଘୁଚାପଟି ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାରେ ସମ୍ଭାବନା ରହିଛି। ଧୀରେ ଧୀରେ ଏହା ଓଡ଼ିଶାରୁ ଦୂରେଇ ଯିବା ପରେ ରାଜ୍ୟରେ ବର୍ଷାର ପରିମାଣ କମିବ ବୋଲି ପୂର୍ବାନୁମାନ କରାଯାଇଛି।

ଜୁନ୍ ୮ ତାରିଖରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିଥିଲା। ଏହା ପ୍ରଭାବରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୫୨୦.୨ ମିଲିମିଟର ହୋଇଛି, ଯାହାକି ସ୍ଵାଭାବିକଠାରୁ ୯ ପ୍ରତିଶତ କମ୍ ରହିଛି। ମାଲକାନଗିରି, ବୌଦ୍ଧ ଓ ନୂଆପଡ଼ାରେ ସ୍ଵାଭାବିକଠାରୁ ଅଧିକ ବର୍ଷା ହୋଇଥିବାବେଳେ ରାଜ୍ୟର ୧୧ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି।

Tags: #Weather #Monsoon #LowPressure #Rainfall #MCBBSR #Odisha

Comment