ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସକ୍ରିୟ ରହିଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ଲଘୁଚାପଟି ଉତ୍ତର ଦିଗକୁ ଗତିକରୁଥିବାବେଳେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଆହୁରି ୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଗୁରୁବାର ବର୍ଷା ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଗୁରୁବାର ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ପୁରୀ ସାମିଲ ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୧୧.୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଜଗତସିଂହପୁର ଜିଲ୍ଲାର ରଘୁନାଥପୁରରେ ସର୍ବାଧିକ ୧୧୧ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଗୁରୁବାର ସକାଳେ ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ଦେଖାଦେଇଥିଲା।  

ଅନ୍ୟପଟେ ଅଗଷ୍ଟ ୨୪ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ହେବାର ସମ୍ଭାବନା ରହିଛି। ପରେ ଏହା ଅଧିକ ଘନୀଭୂତ ହେଲେ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଜୁନ୍ ୮ ତାରିଖରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିଥିଲା। ଏହା ପ୍ରଭାବରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୨୮ ମିଲିମିଟର ବର୍ଷା ହୋଇଛି, ଯାହାକି ସ୍ଵାଭାବିକଠାରୁ ୧୨ ପ୍ରତିଶତ କମ୍ ରହିଛି। ମାଲକାନଗିରି ଜିଲ୍ଲାରେ ସ୍ଵାଭାବିକଠାରୁ ଅଧିକ ବର୍ଷା ହୋଇଥିବାବେଳେ ରାଜ୍ୟର ୧୧ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି।

Tags: #Weather #Monsoon #LowPressure #Rainfall #MCBBSR #Odisha

Comment