ଓଡ଼ିଶାଲାଇଭ୍ ବ୍ୟୁରୋ

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି। ଆସନ୍ତା ୨ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ମାତ୍ରା ବଢ଼ିବାର ସମ୍ଭାବନା ରହିଛି। ଶୁକ୍ରବାର ବର୍ଷା ପାଇଁ ମାଲକାନଗିରି, ଗଜପତି, କୋରାପୁଟ ଜିଲ୍ଲାରେ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବର୍ଷା ପାଇଁ ଶୁକ୍ରବାର ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ମିଳିଥିବାବେଳେ ରାଜ୍ୟର ଅନ୍ୟ ୧୧ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।  

କୋରାପୁଟ ଓ ଗଜପତି ଜିଲ୍ଲାରେ ବର୍ଷା ଲାଗି ଶୁକ୍ରବାର ସବୁ ସ୍କୁଲ ଓ ଅଙ୍ଗନୱାଡି କେନ୍ଦ୍ର ଛୁଟି ଘୋଷଣା ହୋଇଛି। ଜିଲ୍ଲାରେ ଅଗ୍ନିଶମ ଏବଂ ଓଡ୍ରାଫ୍‌ ଟିମକୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ତେବେ ଲଘୁଚାପଟି ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ଗତି କରିବ। ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ସ୍ଥଳଭାଗ ମୁହାଁ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଓଡ଼ିଶାରେ ଏବେ ମୌସୁମୀ ସକ୍ରିୟ ରହିଥିବାରୁ ଲଘୁଚାପଟି ଅଧିକ ଘନୀଭୂତ ହେଲେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଜୁନ୍ ୮ ତାରିଖରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିଥିଲା। ଏହା ପ୍ରଭାବରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୦୪ ମିଲିମିଟର ବର୍ଷା ହୋଇଛି, ଯାହାକି ସ୍ଵାଭାବିକଠାରୁ ୧୦ ପ୍ରତିଶତ କମ୍ ରହିଛି। ମାଲକାନଗିରି ଜିଲ୍ଲାରେ ସ୍ଵାଭାବିକଠାରୁ ଅଧିକ ବର୍ଷା ହୋଇଥିବାବେଳେ ରାଜ୍ୟର ୯ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି।

Tags: #Weather #Monsoon #LowPressure #Rainfall #MCBBSR #Odisha

LEAVE A REPLY

Please enter your comment!
Please enter your name here