ଓଡ଼ିଶାଲାଇଭ୍ ବ୍ୟୁରୋ
ବଙ୍ଗୋପସାଗରରେ ଘନୀଭୂତ ହୋଇଥିବା ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଘଣ୍ଟା ପ୍ରତି ୭ କିଲୋମିଟର ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ସୋମବାର ମଧ୍ୟାହ୍ନ ସମୟରେ ଓଡ଼ିଶା ଅତିକ୍ରମ କରିଛି। ଏ ନେଇ ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଗଭୀର ଅବପାତ ପ୍ରଭାବରେ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୧୦ଟି ଜିଲ୍ଲାକୁ ରେଡ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ବୌଦ୍ଧ, କନ୍ଧମାଳ, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି।
ସେହିପରି ପ୍ରବଳ ବର୍ଷା ପାଇଁ ବରଗଡ଼, ସମ୍ବଲପୁର, ସୋନପୁର, ଅନୁଗୁଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହା ସହ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ସେପ୍ଟେମ୍ବର ୧୦ରୁ ୧୧ ତାରିଖ ମଧ୍ୟରେ ଝାରସୁଗୁଡ଼ା, ବରଗଡ଼ ଓ ନୂଆପଡ଼ା ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବାବେଳେ ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର ଓ ବଲାଙ୍ଗିର ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ସେପ୍ଟେମ୍ବର ୧୧ରୁ ୧୨ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବଲାଙ୍ଗିର ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ଵତନ୍ତ୍ର ରିଲିଫ କମିଶନର ଦେଓରଞ୍ଜନ କୁମାର ସିଂ।
ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୬୦ କିଲୋମିଟର ବହିବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ଲାଗି ବାରଣ କରାଯାଇଛି।
Tags: #Rainfall #Weather #WeatherUpdates #RainfallWarning #MeteorologicalCentre