ଓଡ଼ିଶାଲାଇଭ୍ ବ୍ୟୁରୋ

ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ତୁମାଲପଦ ଜଙ୍ଗଲରେ ଶନିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବାବେଳେ ଏବେ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।

ସୁକମା ଜିଲ୍ଲାର ଚିନ୍ତିଗୁମ୍ଫା ଥାନା ତୁମାଲପଦ ଗାଁ ନିକଟସ୍ଥ ଜଙ୍ଗଲରେ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ପୋଲିସକୁ ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଥିଲା। ଯାହାକୁ ଆଧାର କରି ଛତିଶଗଡ଼ ପୋଲିସର ଡିଆରଜି ବାହିନୀ ପକ୍ଷରୁ ଉକ୍ତ ଅଞ୍ଚଳରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା।

ଶନିବାର ସକାଳେ କୁମ୍ବିଂ ଅପରେସନବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ ‌ହୋଇଥିଲେ। ପୋଲିସଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ପରେ ଡିଆରଜି ଯବାନମାନେ ଏହାର ପାଲଟା ଜବାବ ଦେଇଥିଲେ। ଏଥିରେ ଜଣେ ମାଓବାଦୀ ନିହତ ହୋଇଥିବାବେଳେ ଅନ୍ୟମାନେ ଖସି ପଳାଇଥିଲେ।

ପୋଲିସ ପକ୍ଷରୁ ନିହତ ହୋଇଥିବା ମାଓବାଦୀଙ୍କ ମୃତଦେହ ଠାବ କରାଯାଇଥିଲା। ଏହାସହ ମାଓ କ୍ୟାମ୍ପରୁ ବିପୁଳ ପରିମାଣରେ ବିସ୍ଫୋରକ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ଏବେ ଅନ୍ୟ ମାଓବାଦୀଙ୍କୁ ଠାବ କରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି।  

Tags: #Police-MaoistEncounter #Sukma #Odisha-ChhattisgarhBorder #Malkangiri

Comment