ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅଧିକ ଘନୀଭୂତ ହେବାରେ ଲାଗିଛି। ଏହା ଉତ୍ତର ପଶ୍ଚିମ ଦିଗର ଗତି କରୁଥିବାବେଳେ ଆଗକୁ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆହୁରି ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଶନିବାର ବର୍ଷା ପାଇଁ ଓଡ଼ିଶାର ୩ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଶନିବାର ବର୍ଷା ପାଇଁ ବାଲେଶ୍ଵର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି। ଏହି ସବୁ ଜିଲ୍ଲାରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ମୟୂରଭଞ୍ଜ ଜିଲ୍ଲାର କୁସୁମୀରେ ସର୍ବାଧିକ ୧୩୬ ମିଲିମିଟର ବର୍ଷା ରେକର୍ଡ ହୋଇଛି।

ଓଡ଼ିଶାରେ ଏବେ ମୌସୁମୀ ସକ୍ରିୟ ରହିଥିବାରୁ ଲଘୁଚାପଟି ଅଧିକ ଘନୀଭୂତ ହେଲେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଜୁନ୍ ୮ ତାରିଖରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚିଥିଲା। ଏହା ପ୍ରଭାବରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୯୫୦ ମିଲିମିଟର ବର୍ଷା ହୋଇଛି, ଯାହାକି ସ୍ଵାଭାବିକଠାରୁ ୯ ପ୍ରତିଶତ କମ୍ ରହିଛି। ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ସ୍ଵାଭାବିକଠାରୁ ଅଧିକ ବର୍ଷା ହୋଇଥିବାବେଳେ ରାଜ୍ୟର ୧୦ରୁ ଅଧିକ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି।

Tags:  #Weather #Monsoon #LowPressure #Rainfall #MCBBSR #Odisha

LEAVE A REPLY

Please enter your comment!
Please enter your name here