ଓଡ଼ିଶାଲାଇଭ୍ ବ୍ୟୁରୋ

ଭୁବନେଶ୍ୱର ଉପକଣ୍ଠ ଭରତପୁର ଥାନାରେ ଜଣେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ବିବାଦ ତେଜିବାରେ ଲାଗିଛି। ମାମଲାକୁ ନେଇ ବିରୋଧୀ ଦଳମାନେ ସରକାରଙ୍କୁ ସମାଲୋଚନା କରିଛନ୍ତି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହି ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି କହିବା ସହ ଏହାକୁ ନିନ୍ଦା କରିଛନ୍ତି। ସେ ଏହି ମାମଲାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି।

“ସେନାର ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୋଲିସର ନିର୍ଯାତନା ଦିଆଯିବ ଅତ୍ୟନ୍ତ ଦୁର୍ଭାଗ୍ୟଜନକ କଥା। ଏହା ଆମ ରାଜ୍ୟର ଛବି ଖରାପ କରୁଛି। ବର୍ତ୍ତମାନର ସରକାରଙ୍କ ରାଜ୍ୟ ପୋଲିସ ଉପରେ ନିୟନ୍ତ୍ରଣ ନାହିଁ। ଏହି ମାମଲାର ବିଚାର ବିଭାଗୀୟ ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରୁଛୁ”, କହିଛନ୍ତି ନବୀନ ପଟ୍ଟନାୟକ।      

ସେହିପରି ପୂର୍ବତନ କଂଗ୍ରେସ ନେତା ବିଜୟ ପଟ୍ଟନାୟକ ମଧ୍ୟ ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି, “ରାଜ୍ୟ ସରକାର ମହିଳା ସଶକ୍ତିକରଣ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି, ହେଲେ ମହିଳାଙ୍କୁ ସୁରକ୍ଷା ଦେଇ ପାରୁନାହାନ୍ତି। ଭରତପୁର ଥାନାରେ ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲାକୁ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତରିତ ହେବା ପରେ ବି ଅଭିଯୁକ୍ତଙ୍କୁ ଗିରଫ କରାଯାଇନାହିଁ। ସମ୍ପୃକ୍ତ ଆଇଆଇସିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯାଉ।”

ସେପ୍ଟେମ୍ବର ୧୪ ତାରିଖ ରାତିରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂହ ଏବଂ ତାଙ୍କ ବାନ୍ଧବୀ କାରରେ ଘରକୁ ଫେରୁଥିଲେ। ଏହି ସମୟରେ କିଛି ଦୁର୍ବୃତ୍ତ ତାଙ୍କ ଗାଡ଼ିକୁ ଅଟକାଇ ଦୁର୍ବ୍ୟବହାର କରିଥିଲେ। ଏହାକୁ ନେଇ ମେଜର ଓ ତାଙ୍କ ବାନ୍ଧବୀ ଅଭିଯୋଗ କରିବାକୁ ଭରତପୁର ଥାନାକୁ ଯାଇଥିଲେ। ତେବେ ସେଠାରେ ପୋଲିସ କଥା ଶୁଣିବା ବଦଳରେ ଉଭୟଙ୍କୁ ଦୁର୍ବ୍ୟବହାର ଓ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।

ଏହି ମାମଲାରେ ଭରତପୁର ଥାନାର ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ୫ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ଏବେ କ୍ରାଇମବ୍ରାଞ୍ଚ ମାମଲାର ତଦନ୍ତ ଜାରି ରଖିଛି।

Tags: #ArmyOfficer #Assault #BharatpurPoliceStation #OdishaPolice

LEAVE A REPLY

Please enter your comment!
Please enter your name here