ଓଡ଼ିଶାଲାଇଭ୍ ବ୍ୟୁରୋ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ପୁରୀ ଗସ୍ତରେ ରହିଛନ୍ତି। ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଶ୍ରୀମନ୍ଦିର ଯାଇଥିଲେ।
ବୁଧବାର ସକାଳେ ରାଷ୍ଟ୍ରପତି ଭୁବନେଶ୍ୱର ରାଜଭବନରୁ ବାହାରି ପୁରୀ ଅଭିମୁଖେ ଯାଇଥିଲେ। ସେ ବାୟୁସେନାର ସ୍ଵତନ୍ତ୍ର ହେଲିକେପ୍ଟରରେ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଥିଲେ। ସେଠାରୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ।
ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରଯାଇଥିଲା। ସେ ମହାପ୍ରଭୁଙ୍କୁ ଦର୍ଶନ କରିବାପରେ ଶ୍ରୀମନ୍ଦିର ପରିସରରେ ଥିବା ଅନ୍ୟ ଦେବାଦେବୀଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ।
ଶ୍ରୀମନ୍ଦିରରେ ଦର୍ଶନ ସାରି ରାଷ୍ଟ୍ରପତି ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି। ଏହାପରେ ସେ ଅପରାହ୍ନ ୩ଟା ୩୦ମିନିଟରେ ପୁରୀ ବ୍ଲୁ ଫ୍ଲାଗ ବେଳାଭୂମିରେ ଭାରତୀୟ ନୌସେନା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପୁରୀରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସହରରେ ପ୍ରାୟ ୪୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି।
Tags: #PresidentofIndia #DroupadiMurmu #OdishaVisit #Srimandir #Puri