ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଜାରି ରହିଛି। ବର୍ଷା ଯୋଗୁଁ ତାପମାତ୍ରା ସାମାନ୍ୟ ବଢ଼ି ଶୀତ କମ୍ ଅନୁଭୂତ ହେଉଛି। ଆହୁରି ୨ ଦିନ ଯାଏଁ ରାଜ୍ୟରେ ବର୍ଷା ସହ ମେଘୁଆ ପାଗ ଲାଗିରହିବ ବୋଲି ପୂର୍ବାନୁମାନ କରାଯାଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଶୁକ୍ରବାର ଦକ୍ଷିଣ ଓ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହପରି ଶନିବାର କଟକ, ପୁରୀ, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

ଓଡ଼ିଶାରେ ଏବେ ୩ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଡିସେମ୍ବର ୨୨ ତାରିଖରେ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ଯାଏଁ କମି ଶୀତ ବଢ଼ିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଅନ୍ୟପଟେ ସକ୍ରିୟ ଲଘୁଚାପଟି ଏବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି। ଏହା ଉତ୍ତର ପଶ୍ଚିମ ଦିଗରେ ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡ଼କୁ ଗତି କରୁଛି। ଏହା ଆଗାମୀ ୧୨ ଘଣ୍ଟାରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଡିସେମ୍ବର ୧୯ରୁ ୨୨ ତାରିଖ ଯାଏଁ ଓଡ଼ିଶା ଉପକୂଳରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

Tags: #Weather #LowPressure #Rainfall #Winter #MCBBSR #Odisha

LEAVE A REPLY

Please enter your comment!
Please enter your name here