ଓଡ଼ିଶାଲାଇଭ୍ ବ୍ୟୁରୋ
- ଡିସେମ୍ବର ୨୪ ଓ ୨୫ ତାରିଖରେ ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ପୁଣି ବର୍ଷା ସମ୍ଭାବନା
- ଘନ କୁହୁଡ଼ି ପାଇଁ କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାକୁ ସତର୍କ ସୂଚନା
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହେବାପରେ ଓଡ଼ିଶାରେ ବର୍ଷା କମିଛି। ତେବେ ଆଉ ୨ ଦିନ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଏହାପରେ ତାପମାତ୍ରା ୨ରୁ ୪ ଡିଗ୍ରୀ କମି ପୁଣି ଶୀତ ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଡିସେମ୍ବର ୨୪ ଓ ୨୫ ତାରିଖରେ ଓଡ଼ିଶାର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି।
ସେହିପରି ବର୍ଷା କମିବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘନ କୁହୁଡ଼ି ହେବା ସମ୍ଭାବନା ରହିଛି। ଏନେଇ କଳାହାଣ୍ଡି, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଏବେ ରାଜ୍ୟରେ ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଡିସେମ୍ବର ୨୪ ତାରିଖରୁ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ଯାଏଁ କମି ଶୀତ ବଢ଼ିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
Tags: #Weather #Depression #Rainfall #Winter #MCBBSR #Odisha