ଓଡ଼ିଶାଲାଇଭ୍ ବ୍ୟୁରୋ

  • ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ବର୍ଷା ସମ୍ଭାବନା
  • ବର୍ଷା ପରେ ଶୀତ ବଢ଼ିବା ନେଇ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପ୍ରଭାବରେ ମଙ୍ଗଳବାର ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭବନା ରହିଛି। ଏନେଇ ୭ଟି ଜିଲ୍ଲାରେ ସତର୍କତା ଜାରି କରାଯାଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଡିସେମ୍ବର ୨୪ ଓ ୨୫ ତାରିଖରେ ଓଡ଼ିଶାର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ମଙ୍ଗଳବାର ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ମାଲକାନଗିରି, କୋରାପୁଟ, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ଵରର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାନେଇ ଆକଳନ କରାଯାଇଛି। ତେବେ ବର୍ଷା କମିବା ପରେ ରାଜ୍ୟରେ ପୁଣି ଶୀତ ବଢ଼ିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।  

ସେହିପରି ମଙ୍ଗଳବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ମେଘୁଆ ପାଗ ରହିଥିବାବେଳେ ଆଗକୁ ଘନ କୁହୁଡ଼ି ହେବା ସମ୍ଭାବନା ରହିଛି। ଏନେଇ କଳାହାଣ୍ଡି, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଏବେ ରାଜ୍ୟରେ ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଡିସେମ୍ବର ୨୫ ତାରିଖରୁ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ଯାଏଁ କମି ଶୀତ ବଢ଼ିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Tags: #Weather #Depression #Rainfall #Winter #MCBBSR #Odisha

LEAVE A REPLY

Please enter your comment!
Please enter your name here