ଓଡ଼ିଶାଲାଇଭ୍ ବ୍ୟୁରୋ

ଛତିଶଗଡ଼ର ବିଜାପୁର ଜିଲ୍ଲାର ଜଙ୍ଗଲରେ ରବିବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩୧ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଏନକାଉଣ୍ଟର ସମୟରେ ୨ ଜଣ ଯବାନ ସହିଦ ହୋଇଛନ୍ତି। ଘଟଣାସ୍ଥଳରୁ ବନ୍ଧୁକ ଓ ଅନେକ ମାତ୍ରରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବାବେଳେ ଏବେ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।
ବିଜାପୁର ଜାତୀୟ ଉଦ୍ୟାନ ଅନ୍ତର୍ଗତ ଜଙ୍ଗଲରେ ମାଓବାଦୀମାନେ କ୍ୟାମ୍ପ କରିଥିବା ପୋଲିସକୁ ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଥିଲା। ଏହାକୁ ଆଧାର କରି ଛତିଶଗଡ଼ ପୋଲିସର ଡିଆରଜି ବାହିନୀ ଓ ସିଆରପିଏଫ୍ ପକ୍ଷରୁ ଉକ୍ତ ଅଞ୍ଚଳରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା।
କୁମ୍ବିଂ ଅପରେସନବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଥିଲେ। ପୋଲିସଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ପରେ ଯବାନମାନେ ଏହାର ପାଲଟା ଜବାବ ଦେଇଥିଲେ। ଏଥିରେ ୩୧ ଜଣ ମାଓବାଦୀ ନିହତ ହୋଇଥିବାବେଳେ ଅନ୍ୟମାନେ ଖସି ପଳାଇଥିଲେ।
ତେବେ ଏହି ଗୁଳି ବିନିମୟରେ ୨ ଜଣ ଡିଆରଜି ଯବାନ ସହିଦ ହୋଇଥିଲାବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ପୋଲିସ ପକ୍ଷରୁ ନିହତ ହୋଇଥିବା ମାଓବାଦୀଙ୍କ ମୃତଦେହ ଠାବ କରାଯାଇଛି। ସେମାନଙ୍କ ମଧ୍ୟ ୧୧ ଜଣ ମହିଳା ମାଓବାଦୀ ମଧ୍ୟ ସାମିଲ ଅଛନ୍ତି। ଏହାସହ ବିସ୍ଫୋରକ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ଏବେ ଅନ୍ୟ ମାଓବାଦୀଙ୍କୁ ଠାବ କରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି।
Tags: #Police-MaoistEncounter #Maoists #Bijapur #Chhattisgarh










