ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ପବିତ୍ର ମାଘ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ଗଜ ଉଦ୍ଧାରଣ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଏନେଇ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଗହଳି ଲାଗିଛି।
ବୁଧବାର ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ହେବାପରେ ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ଆରମ୍ଭ ହୋଇଥିଲା। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସବୁ ପ୍ରସ୍ତୁତି କରାଯାଇଥିଲା।
ଏହି ବେଶରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିଥାନ୍ତି। ଗରୁଡ଼ ଉପରେ ବସିବା ଭଙ୍ଗିରେ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିଥାନ୍ତି ମହାପ୍ରଭୁ। ଏହାସହ ନିକଟରେ ୨ଟି ହାତୀ ଶୁଣ୍ଢରେ ପଦ୍ମକଢ଼ି ଧରି ମଧ୍ୟ ଦଣ୍ଡାୟମାନ ରହିଥାନ୍ତି। ସେହିପରି ପ୍ରଭୁ ବଳଭଦ୍ର ଚତୁର୍ଭୁଜରେ ଶଙ୍ଖ, ଚକ୍ର, ହଳ ଓ ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ଓ ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ବିରାଜମାନ କରିଥାନ୍ତି।
ପୌରାଣିକ କଥାବସ୍ତୁ ଅନୁଯାୟୀ ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବାବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା। ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ। ଭକ୍ତର ଡାକ ଶୁଣି କୁମ୍ଭୀର କବଳରୁ ଗଜରାଜକୁ ମହାପ୍ରଭୁ ଉଦ୍ଧାର କରିଥିଲେ। ଏହାରି ଆଧାରରେ ଏହି ଗଜ ଉଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇ ଆସୁଛି।
Tags: #SriMandir #KumbhaSankranti #GajaUddharanBesa #LordJagannath #Culture #Puri