ଓଡ଼ିଶାଲାଇଭ୍ ବ୍ୟୁରୋ

ଝାଡ଼ଖଣ୍ଡର ବୋକାରୋ ଜିଲ୍ଲା ଜଙ୍ଗଲରେ ସୋମବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୮ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଜଣେ ଟପ୍ କ୍ୟାଡର ମାଓବାଦୀ ସାମିଲ ଅଛନ୍ତି। ଘଟଣାସ୍ଥଳରୁ ବନ୍ଧୁକ ଓ ଅନେକ ମାତ୍ରରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବାବେଳେ ଏବେ ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି।

ବୋକାରୋ ଜିଲ୍ଲା ଲୁଗୁ ହିଲ୍ସ ନିକଟ ଜଙ୍ଗଲରେ ମାଓବାଦୀମାନେ କ୍ୟାମ୍ପ କରିଥିବା ପୋଲିସକୁ ଗୁଇନ୍ଦା ବିଭାଗ ପକ୍ଷରୁ ସୂଚନା ମିଳିଥିଲା। ଏହାକୁ ଆଧାର କରି ଝାଡ଼ଖଣ୍ଡ ପୋଲିସ ଓ ସିଆରପିଏଫର କୋବ୍ରା ବାହିନୀ ପକ୍ଷରୁ ଉକ୍ତ ଅଞ୍ଚଳରେ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା।

କୁମ୍ବିଂ ଅପରେସନବେଳେ ପୋଲିସ-ମାଓବାଦୀ ମୁହାଁମୁହିଁ ‌ହୋଇଥିଲେ। ପୋଲିସଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ପରେ ଯବାନମାନେ ଏହାର ପାଲଟା ଜବାବ ଦେଇଥିଲେ। ଏଥିରେ ୮ ଜଣ ମାଓବାଦୀ ନିହତ ହୋଇଥିବାବେଳେ ଅନ୍ୟମାନେ ଖସି ପଳାଇଥିଲେ।

ଘଟଣାସ୍ଥଳରୁ ନିହତ ହୋଇଥିବା ମାଓବାଦୀଙ୍କ ମୃତଦେହ ଠାବ କରାଯାଇଛି। ଏହାସହ ବିସ୍ଫୋରକ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଛି। ଏବେ ଅନ୍ୟ ମାଓବାଦୀଙ୍କୁ ଠାବ କରିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି।  

Tags: #Police-MaoistEncounter #Maoists #Bokaro #Jharkhand

Comment