ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି। ଆସନ୍ତା ଜୁନ ୧ ତାରିଖ ଯାଏଁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି କରିଛି ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମସ୍ତ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାକୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ସେହିପରି ମେ’ ୨୮ରୁ ୨୯ ତାରିଖ ମଧ୍ୟରେ କଟକ, ଜଗତସିଂହପୁର, ପୁରୀ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବହିବାର ସମ୍ଭାବନା ରହିଛି। ରାଜ୍ୟର ଅନ୍ୟ ସମସ୍ତ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ମେ’ ୨୯ରୁ ୩୦ ତାରିଖ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅନ୍ୟ ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ସେହିପରି ମେ’ ୩୦ରୁ ୩୧ ତାରିଖ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ନୂଆପଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ମେ’ ୩୧ରୁ ଜୁନ ୧ ତାରିଖ ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପଗ କେନ୍ଦ୍ର।
Tags: #Weather #WeatherNews #Rainfall #ThunderstormLightning #MeteorologicalCenter #Odisha











