ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାରେ ଏବେ ସକ୍ରିୟ ମୌସୁମୀ ପ୍ରଭାବରେ ବର୍ଷା ଲାଗି ରହିଛି। ରାଜ୍ୟର ଉପକୂଳରୁ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ହେଉଛି। ଏହାରି ମଧ୍ୟରେ ପଶ୍ଚିମବଙ୍ଗ ଉପକୂଳସ୍ଥ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟରେ ବର୍ଷାର ମାତ୍ରା ଆହୁରି ବଢ଼ିବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ପାଇଁ ରାଜ୍ୟର ୧୫ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ସାମିଲ ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ୟପଟେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧୪.୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ସର୍ବାଧିକ ୭୪ ମିଲିମିଟର ବର୍ଷା ହୋଇଥିବା ସୂଚନା ମିଳିଛି।

ମୌସୁମୀ ପ୍ରଭାବରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୩୩.୨ ମିଲିମିଟର ହୋଇଛି, ଯାହାକି ସ୍ଵାଭାବିକଠାରୁ ୩୦ ପ୍ରତିଶତ ଅଧିକ ରହିଛି।

ଏବେ ଓଡ଼ିଶାରେ ମୌସୁମୀ ସକ୍ରିୟ ରହିଥିବାବେଳେ ଘୂର୍ଣ୍ଣିବଳୟର ପ୍ରଭାବ ରାଜ୍ୟରେ ଅଧିକ ରହିବାର ସମ୍ଭାବନା ରହିଛି। ଫଳରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Tags: #Weather #Monsoon #Rainfall #MCBBSR #Odisha

Comment