ଓଡ଼ିଶାଲାଇଭ୍ ବ୍ୟୁରୋ

ସୁନାବେଶ ପରଦିନ ଅନୁଷ୍ଠିତ ହୁଏ ମହାପ୍ରଭୁଙ୍କ ଅଧରପଣା ନୀତି। ଶ୍ରୀମନ୍ଦିର ସମ୍ମୁଖରେ ରଥାରୂଢ଼ ତିନି ଠାକୁରଙ୍କ ପାଖରେ ଲାଗି ହୋଇଥାଏ ଅଧରପଣା। ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶ ତିଥିରେ ଅଧରପଣା ଭୋଗ କରାଯାଇଥାଏ।

ଅଧରପଣା ପାଇଁ ସିଂହଦ୍ୱାର ସମ୍ମୁଖ ଛାଉଣୀ ମଠ କୂଅରୁ ସେବାୟତମାନେ ପାଣି ଆଣିଥାନ୍ତି। ଏହି ପାଣିରେ ପ୍ରସ୍ତୁତ ହୋଇଥାଏ ଅଧରପଣା। ଅଧରପଣା ପ୍ରସ୍ତୁତିରେ ସର, କଦଳୀ, ଛେନା, ଗୋଲ ମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦି ସାମଗ୍ରୀ ବ୍ୟବହୃତ ହୋଇଥାଏ।

ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଅଧରପଣା ନୀତି ଅନୁଷ୍ଠିତ ହୋଇଥାଏ। ପ୍ରତି ରଥରେ ତିନି ଠାକୁରଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ପ୍ରସ୍ତୁତ ହୁଏ। ପ୍ରତି ରଥରେ ୩ଟି ଲେଖାଏଁ ମାଟି ହାଣ୍ଡିରେ ଅଧର ପଣା ଭୋଗ କରାଯାଇଥାଏ। ଏହି ୯ ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋ ପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରିଥାନ୍ତି। ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ।

ରଥଗୁଡ଼ିକରେ ଥିବା ପାର୍ଶ୍ଵ ଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ପରମ୍ପରା ରହିଆସିଛି। ପଣା ହାଣ୍ଡି ଭାଙ୍ଗିଲେ ପଣା ସବୁ ରଥ ତଳକୁ ବୋହିଯାଏ। ଏହି ପଣାକୁ ଅନ୍ୟ ଦେବଦେବୀ, ଭୂତପ୍ରେତ, କିନ୍ନର ଓ ରାକ୍ଷସମାନେ ପାଇଥାନ୍ତି ବୋଲି କୁହାଯାଏ।

Tags: #Culture #ShreeKhetra #Puri #AdharaPanaNiti #RathYatra #RathaJatra2025

Comment