ଓଡ଼ିଶାଲାଇଭ୍ ବ୍ୟୁରୋ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ଝଟକା ଲାଗିଛି। ତାଙ୍କ ଅନ୍ତରୀଣ ଜାମିନ ଆବେଦନ ଖାରଜ କରିଛନ୍ତି ସୁପ୍ରିମକୋର୍ଟ। ଅଗଷ୍ଟ ୨୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ସୁପ୍ରିମକୋର୍ଟ ଧାର୍ଯ୍ୟ କରିଛନ୍ତି।

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଜେଲରେ ଥିବା ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପାଇଁ ତାଙ୍କ ଓକିଲ ଅଭିଷେକ ମନୁ ସିଂଘଭି ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ବୁଧବାର ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ ଉଜ୍ଜ୍ଵଳ ଭୂୟାଁଙ୍କ ଖଣ୍ଡପୀଠ ଆବେଦନର ଶୁଣାଣି କରି ଏହାକୁ ଖାରଜ କରିଥିଲେ।

ଏହାପୂର୍ବରୁ ଜୁଲାଇ ୧୨ ତାରିଖରେ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଇଥିଲେ ସୁପ୍ରିମକୋର୍ଟ। ତେବେ ତାଙ୍କ ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ସିବିଆଇର ମାମଲା ବିଚାରାଧୀନ ଥିବାରୁ ସେ ଜେଲରୁ ବାହାରି ପାରିନଥିଲେ।   

ଅରବିନ୍ଦ କେଜ୍ରିୱାଲଙ୍କୁ ମାର୍ଚ୍ଚ ୨୧ ତାରିଖ ରାତିରେ ଇଡି ପକ୍ଷରୁ ଗିରଫ କରାଯାଇଥିଲା। ଏହାପରେ ଇଡି ତାଙ୍କୁ ରିମାଣ୍ଡରେ ନେଇ ପଚରାଉଚରା କରିଥିଲା। କେଜ୍ରିୱାଲଙ୍କ ଇଡି ରିମାଣ୍ଡ ଅବଧି ସରିବା ପରେ ତାଙ୍କୁ ନ୍ୟାୟିକ ହେଫାଜତକୁ ପଠାଇଥିଲେ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ।

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଅରବିନ୍ଦ କେଜ୍ରିୱାଲ ସାମିଲ ଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଇଡି ତାଙ୍କୁ ପଚରାଉଚରା ପାଇଁ ୯ ଥର ସମନ କରିଥିଲେ ମଧ୍ୟ ସେ ହାଜର ହୋଇନଥିଲେ। ଯାଞ୍ଚରେ ସେ ସହଯୋଗ କରୁନଥିବା ଇଡି ପକ୍ଷରୁ କୁହାଯାଇଥିଲା।

ଏହା ମଧ୍ୟରେ ଗତ ଲୋକସଭା ନିର୍ବାଚନ ସମୟରେ ତାଙ୍କୁ ମେ’ ୧୦ ତାରିଖରେ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେଇଥିଲେ ସୁପ୍ରିମକୋର୍ଟ। ଜାମିନ ଅବଧି ସରିବା ପରେ ସେ ଜୁନ୍ ୨ ତାରିଖରେ ପୁଣି ଜେଲ ଯାଇଥିଲେ।

Tags: #ArvindKejriwal #CMofDelhi #LiquorScam #SupremeCourt #ED #NewDelhi

LEAVE A REPLY

Please enter your comment!
Please enter your name here