ଓଡ଼ିଶାଲାଇଭ୍ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ଜାରି ରହିଛି। ବିଶେଷ କରି ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ଆହୁରି ୨୪ ଘଣ୍ଟା ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପାଇଁ ଓଡ଼ିଶାର ୧୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା, କଟକ, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଗୁରୁବାର ସକାଳ ଯାଏଁ ଓଡ଼ିଶାର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି।

ତେବେ ଡିସେମ୍ବର ୨୬ ପରେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ବର୍ଷା ପରେ ପୁଣି ଶୀତ ବଢ଼ିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଡିସେମ୍ବର ୨୬ରେ ଘନକୁହୁଡ଼ି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର ଓ ବଲାଙ୍ଗିର ଜିଲ୍ଲାକୁ ୟୋଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଡିସେମ୍ବର ୨୭ ତାରିଖରେ ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଘନକୁହୁଡ଼ି ପାଇଁ ୟୋଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଏବେ ରାଜ୍ୟରେ ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଡିସେମ୍ବର ୨୬ ତାରିଖରୁ ତାପମାତ୍ରାରେ ୨ରୁ ୪ ଡିଗ୍ରୀ ଯାଏଁ କମିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Tags: #Weather #LowPressure #Rainfall #Winter #MCBBSR #Odisha #RainfallWarning

LEAVE A REPLY

Please enter your comment!
Please enter your name here